ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକ
ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝର ଜିଲ୍ଲାର ଗୁରୁ ମାଗୁଣି କୁଅଁରଙ୍କର ଓଡିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ ପରମ୍ପରାକୁ ଉଜ୍ଜିବୀତ କରି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ଗୁରୁ ମାଗୁଣି କୁଅଁରଙ୍କ ବିୟୋଗ ଓଡିଶାର ପାରମ୍ପରିକ କଳା ଜଗତ ପାଇଁ ଅପୂରଣୀୟ କ୍ଷତି। ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
ସେହିପରି ଓଡ଼ିଶାର ବିଶିଷ୍ଟ କଣ୍ଢେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ କେନ୍ଦୁଝରର କଣ୍ଢେଇ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ମାଗୁଣୀ ଚରଣ କୁଅଁରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶାର ପ୍ରାଚୀନ କଳା ତଥା କାଠ କଣ୍ଢେଇ ନୃତ୍ୟକଳାକୁ ବଞ୍ଚାଇ ରଖିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅବର୍ଣ୍ଣନୀୟ । ଆମର ଲୋକକଳାକୁ ଉଜ୍ଜିବୀତ କରିବାରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ପଦ୍ମଶ୍ରୀ କୁଅଁରଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସ୍ୱର୍ଗତଃ ମାଗୁଣି ଚରଣଙ୍କ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କର ଶୋକ ସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।