ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୫ ତମ ଶିଶୁ କନ୍ୟାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ଝାଡ଼ଖଣ୍ଡ ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।
ସୂଚନା ପ୍ରକାରେ ମାତାପିତାଙ୍କୁ ହରାଇବା ପରେ ରାୟଗଡ଼ ଅଞ୍ଚଳର ଏକ ଶିଶୁକନ୍ୟାର ଦାୟିତ୍ବ ଜିଲ୍ଲା ପ୍ରଶାସନ ନେଇ ତାର ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ ଶିଶୁ ଯତ୍ନ ଅନୁଷ୍ଠାନରେ ଥଇଥାନ କରାଯାଇଥିଲା। ଉକ୍ତ ଶିଶୁ କନ୍ୟାଟିର କେହି ଦାବିଦାର ନଥିବା ଯୋଗୁଁ ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି , ଗଜପତି ଶିଶୁ କନ୍ୟାଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପରବର୍ତ୍ତି ମୁହୁର୍ତ୍ତରେ ପ୍ରାୟ ଏକ ବର୍ଷ ଧରି ପୋଷ୍ୟ ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଝାଡ଼ଖଣ୍ଡ ରାଜ୍ୟର ଏକ ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁକନ୍ୟାକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ , ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଝା଼ଡଖଣ୍ଡ ରାଜ୍ୟର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଥିଲେ। ଏହି ଶିଶୁଟି କନ୍ୟାରତ୍ନ ହୋଇଥିଲା ବେଳେ ଏହାର ବୟସ ମାତ୍ର ୧୪ ବର୍ଷ ହୋଇଥିଲା। ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବିରେନ୍ଦ୍ର କୁମାର ଦାସ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀ , ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ମହାପାତ୍ର , ଡାକ୍ତର ମିଲନ୍ ଅଧିକାରୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.