ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କଥା ହେଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
• ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ
ଭୁବନେଶ୍ୱର, ସେପ୍ଟେମ୍ବର ୧୯,୨୦୨୬ – ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାରେ ଘଟିଥିବା ଏକ ଅଭାବନୀୟ ଦୁର୍ଘଟଣାରେ ଓଡ଼ିଆ ଶ୍ରଦ୍ଧାଳୁଙ୍କ ପ୍ରାଣହାନି ଘଟିବା ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏକ ଶୋକ ବାର୍ତ୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାରେ ଅଭାବନୀୟ ଘଟଣାରେ ଓଡ଼ିଆ ଶ୍ରଦ୍ଧାଳୁଙ୍କ ପ୍ରାଣହାନି ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଅସହ୍ୟ ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।
ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଶ୍ରୀ ପ୍ରଧାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ସହ ଆଲୋଚନା କରିଛନ୍ତି । ପୀଡ଼ିତ ପରିବାରକୁ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇଦେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଜଣାଇଛନ୍ତି ।