ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟଳୟ ପରିସରରେ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।
ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା , ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଆସନ୍ତା ୨୯ ତାରିଖରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।
ସେହିପରି , ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ମଧ୍ୟ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ୨୭ ତାରିଖରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ମାନିତ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯିବ।
ଆଜିର ଏହି ପ୍ରତିଯୋଗିତା ଗୁଡ଼ିକରେ ବିଚାରକ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା , ପ୍ରାକ୍ତନ ସଦସ୍ୟ , ଓଡ଼ିଶା ସାହିତ୍ୟ ଏକାଡେମୀ , ଗଜପତି, ଅଧ୍ୟାପିକା ଶୁଭ୍ରା ପଟ୍ଟନାୟକ , ଅଧ୍ୟାପକ ଆର୍ତ୍ତତ୍ରାଣ ଚଇନି , ଅଧ୍ୟାପିକା ଅଞ୍ଜନା ପଟ୍ଟନାୟକ , ଇଁ.ଶ୍ୱେତା ପଟ୍ଟନାୟକ , ଶ୍ରୀ କିଶୋର ଦାସ ଓ ଶ୍ରୀ ରମାକାନ୍ତ ବାରାଡ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗୀମାନଙ୍କ ପ୍ରଦର୍ଶନର ମୂଲ୍ୟାୟନ କରିଥିଲେ।
ଏହି ପ୍ରତିଯୋଗିତା ଗୁଡ଼ିକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ସଚେତନତା , ସୃଜନଶୀଳତା , ନୈତିକ ମୂଲ୍ୟବୋଧ ଓ ଦୁର୍ନୀତି ବିରୋଧୀ ମନୋଭାବ ବୃଦ୍ଧି କରିବା ଉପରେ ସଚେତନତା ସୃଷ୍ଟି କରାଯାଇଥିଲା।