ଓଡ଼ଗାଁ, ୧୬।୧୧ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀମାନେ ଶିବିରରେ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଶିବିରରେ ମୋଟ ୭୨ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୬୮ଟି ବ୍ୟକ୍ତିଗତ ଏବଂ ୪ଟି ଗ୍ରାମ ସମୂହ ସମସ୍ୟା ସମ୍ପର୍କିତ ଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ଏବଂ ରେଡକ୍ରସ୍ ସମ୍ବନ୍ଧୀୟ କୌଣସି ଅଭିଯୋଗ ଆସିନଥିଲା। ମୋଟ ଅଭିଯୋଗ ମଧ୍ୟରୁ ୭ଟିର ତତ୍କାଳ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗକୁ ପଠାଯାଇଥିଲା। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଲଗ୍ନଜିତ୍ ରାଉତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଶିବିରରେ ଉପସ୍ଥିତ ଥିଲେ। ସେହିପରି ଓଡ଼ଗାଁ ତହସିଲଦାର ଡ. ମାନସ ରଞ୍ଜନ ଭୋଇ, ବିଡିଓ ପ୍ରୀତିବାଳା ରଣା, ଓଡ଼ଗାଁ ଏନ୍ଏସି ନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରା, ଓଡ଼ଗାଁ ଥାନା ଆଇଆଇସି ସତ୍ୟନାରାୟଣ ବାରିକ, କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ମନୋଜ କୁମାର ରାଉତ, ପାନୀୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ସୁବାଷ ଚନ୍ଦ୍ର ସ୍ୱାଇଁ, ସାମାଜିକ ସୁରକ୍ଷା ଅଧିକାରୀ ରାଜସ୍ୱିନୀ ପ୍ରଧାନ, ଓଡ଼ଗାଁ ବନାଞ୍ଚଳ ଅଧିକାରୀ ଅଭିମନ୍ୟୁ ମଲ୍ଲିକ ଏବଂ ବ୍ଲକ ଗ୍ରାମପଞ୍ଚାୟତ ଅଧିକାରୀ ବିଶ୍ୱଜିତ୍ ଜେନାଙ୍କ ସମେତ ବ୍ଲକ ଓ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।