ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦ୍ଘାଟିତ ହୋଇଯାଇଛି | ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଓଡ଼ିଶା ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ | ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ; ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର; ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ଅରୁଣା ମହାନ୍ତି; ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡ଼. ସଙ୍ଗୀତା ଗୋସାଇଁ ମଧ୍ୟ ଏ ଅବସରରେ ଉପସ୍ଥିତ ଥିଲେ | 

 ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା ଛଅ ପଦ ଓ ଛଅ ରାଗରେ ପରିବେଶିତ ଶିବ ସୁରକ୍ଷା ମନ୍ତ୍ରରୁ । ବୃନ୍ଦଗାନରେ ସେମାନେ ପ୍ରସ୍ତୁତ କରିଥିଲେ ଶିବ ବନ୍ଦନା ଓଁ ନମଃ ଶିବାୟ । ଏହି ସମବେତ ସଙ୍ଗୀତକୁ ନିର୍ଦ୍ଦେଶନା ଦେଇଥିଲେ ନିଜେ ମହେଶ୍ୱର ରାଓ । ପରବର୍ତ୍ତୀ କାର୍ଯ୍ୟକ୍ରମ ଥିଲା ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଶିଳ୍ପୀ ମୀରା ଦାସଙ୍କ ଦ୍ୱାରା ଏକକ ଓଡ଼ିଶୀ ନୃତ୍ୟ ପରିବେଶଣ । ତାଙ୍କର ପ୍ରଥମ ଅର୍ଘ୍ୟ ଥିଲା ଶିବସ୍ତୁତି ପୁଷ୍ପାଞ୍ଜଳୀରେ ମଙ୍ଗଳାଚରଣ ପରେ ପରେ ରାଗ ବିହ୍ଲରୀ ଓ ତାଳ ଏକତାଳୀରେ ପଲ୍ଲବୀ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ କେଳୁଚରଣ ମହାପାତ୍ର । ତାଙ୍କର ଅନ୍ତିମ ପ୍ରସ୍ତୁତିରେ ଥିଲା ରାମାୟଣରୁ ଉଦ୍ଧୃତ ଅଭିନୟ ଶବରୀ ଯାହାର ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ଭୁବନେଶ୍ୱର ମିଶ୍ର ଓ ନୃତ୍ୟ ସଂରଚନା କରିଥିଲେ ନିଜେ ଗୁରୁ ମୀରା ଦାସ । ଯୁଗ୍ମ ନୃତ୍ୟ କାର୍ଯ୍ୟକ୍ରମରେ ପ୍ରୀତିସା ମହାପାତ୍ର ଓ ରିବ୍‍ଧିତା ବରୁଆଙ୍କ ଦ୍ୱାରା ପ୍ରଥମେ ଶିବସ୍ତୁତି ଜୟ ମହେଶ ପରେ ପରେ ପଲ୍ଲବୀ ଓ ଶେଷରେ ଅଭିନୟ ଶ୍ରୀରାମସ୍ତୁତି ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ରତିକାନ୍ତ ମହାପାତ୍ର ଓ ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ରଘୁନାଥ ପାଣିଗ୍ରାହୀ ଓ ଶ୍ରୀ ପଦୀପ କୁମାର   ଦାସ । ଶେଷ କାର୍ଯ୍ୟକ୍ରମ ଥିଲା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଶିଲ୍ପୀମାନଙ୍କ ଦ୍ୱାରା ଦଳଗତ ନୃତ୍ୟ । ସେମାନନେ ପ୍ରଥମେ ମଙ୍ଗଳାଚରଣରେ ଶ୍ରୀଗଣେଶ ପରେ ପରେ ରାଗ କ୍ଷୀରବାଣୀ ପଲ୍ଲବୀ ଏବଂ ଶେଷରେ ଅଭିନୟ ଶକ୍ତି ପରିବେଶଣ କରିଥିଲେ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଲିଙ୍ଗରାଜ ପ୍ରଧାନ ଓ ଗୁରୁ ପଙ୍କଜ କୁମାର ପ୍ରଧାନ ଏବଂ ସଙ୍ଗୀତ ସଂଯୋଜନା କରିଥିଲେ ଗୁରୁ ବିଜୟ କୁମାର ଜେନା ଓ ଗୁରୁ ବିଜୟ କୁମାର ବାରିକ । ଉଦ୍‍ଘାଟନୀ ସଂଧ୍ୟାର ଏହି ମନୋରମ କାର୍ଯ୍ୟକ୍ରମକୁ ବହୁ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ ।  ସମସ୍ତ ନୃତ୍ୟ କାର୍ଯ୍ୟକ୍ରମର ଆଲୋକ ପରିଚାଳନା କରିଥିଲେ ଦେବୀ ପ୍ରସାଦ ମିଶ୍ର । 

କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ଇ. ଶ୍ରୀନିବାସ ଘଟୁଆରୀ ଏବଂ ସଂହତି ପାଣି । ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ, ସହ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ  ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଧ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

0
0
0
s2sdefault