ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସାରା ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ
-
ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ
-
ମାଲକାନଗିରି ଜିଲ୍ଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ ଆରମ୍ଭ
-
ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ
ଭୁବନେଶ୍ୱର(ଶାସକ ପ୍ରଶାସକ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜିଠାରୁ ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡିଶାରେ ଓ ଓଡିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରେସନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଗଲା ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’
ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ।
କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ - ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ - ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ ।
ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଭିଟାମିନଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ ।
ସେହିପରି ବ୍ରହ୍ମପୁର ଠାରେ ଜଂଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।
ଭୁବନେଶ୍ବରଠାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଆଜି କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ।
ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ବର ସହରରେ ପାଇଲଟ ପ୍ରୋଜେକ୍ଟ ଭାବରେ ୱାନ ନେସନ, ୱାନ ରେସନ ଯୋଜନା କାର୍ଯ୍ୟକାରୀ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।
ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।
ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।