ହେଡଲାଇନସ୍:

ରାଉରକେଲା ଗସ୍ତରେ ମୁଖ୍ୟସଚିବଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସଚିବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  •  ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

  • ୨୦୨୨ ଜୁଲାଇ ସୁଦ୍ଧା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟ ସରିବ।

  •  ହକି ବିଶ୍ବକପ‌କୁ ଦୃଷ୍ଟିରେ ରଖି ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କରାଯାଉଛି

  •  ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ରାଉରକେଲାରେ ସ୍ବାସ୍ଥ୍ୟ ବ୍ୟବସ୍ଥା ପ୍ରସ୍ତୁତ ରହିଛି

ରାଉରକେଲା(ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ‌, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଶ୍ରୀ ଆର. ଭିନିଲ‌ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ, ଫୁଟବଲ‌ ଖେଳ ସହ ଆଥଲେଟିକ୍ସ ପାଇଁ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ସହିତ ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମ‌ କାର୍ଯ୍ୟ ବୁଲି ଦେଖିଛନ୍ତି ।
ଏହା ସହିତ ରାଉରକେଲାର ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ତିଆରି ହେଉଥିବା ବାସୋପଯୋଗୀ ପ୍ରକଳ୍ପସ୍ଥଳ ମଧ୍ୟ ଅନୁଧ୍ୟାନ କରିଛନ୍ତି | ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ‌ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ‌ ତଥା ମହାନଗର ନିଗମ କମିଶନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ |
ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ "ରାଉରକେଲାରେ ନିର୍ମାଣାଧୀନ ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ୨୦୨୨ ଜୁଲାଇ ସୁଦ୍ଧା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛି | ଏହାଛଡ଼ା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବ ନିର୍ମାଣ କାମ ମଧ୍ୟ ଶେଷ ପର୍ଯାୟରେ ପହଞ୍ଚି ଛି । ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ଫୁଟବଲ ଖେଳ ସହ ଆଥଲେଟିକ‌ ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ | ସେଠାରେ ୪୦୦ ମିଟର ବିଶିଷ୍ଟ ଆଥଲେଟିକ‌୍‍ ଟ୍ରାକ‌୍‍ ନିର୍ମାଣ କରାଯାଉଛି | ଏତଦବ୍ୟତୀତ ସ୍ମାର୍ଟ ସିଟି ଅଧୀନରେ ମଧ୍ୟ ଅନେକ ପ୍ରକଳ୍ପ ଚାଲିଛି | ତେଣୁ ବିଶ୍ବକପ‌ ହକିକୁ ଦୃଷ୍ଟିରେ ରଖି ରାଉରକେଲାରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି” | ସେହିପରି ଏୟାରପୋର୍ଟ ଅଥରିଟି ଅଫ‌ ଇଣ୍ଡିଆ ପକ୍ଷରୁ ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କାର୍ଯ୍ୟ ଜାରି ରହିଛି । ସେଠାରେ ଟର୍ମିନାଲ ବିଲ୍ଡିଂ ମଧ୍ୟ ନିର୍ମାଣ କରାଯିବ | ଏହାକୁ ଆଗାମୀ ୨୦୨୨ ମେ' ମାସ ସୁଦ୍ଧା ଶେଷ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି |
ଛେଣ୍ଡଠାରେ ତିଆରି ହେଉଥିବା ସାଇନ୍ସ ପାର୍କ ଓ ପ୍ଲାନେଟାରିୟମ କାର୍ଯ୍ୟ ଆସନ୍ତା ବର୍ଷ ଜୁନ‌ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ ଟି) ରାଉରକେଲାରେ କୋଭିଡ‌ ପରିସ୍ଥିତିର ସମୀକ୍ଷା କରିଥିଲେ | ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, “ବର୍ତ୍ତମାନ ରାଉରକେଲାରେ ଜେ ପି ହସ୍ପିଟାଲକୁ ସରକାରୀ କୋଭିଡ‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ ରଖାଯାଇଛି। ସେହିପରି ସୁନ୍ଦରଗଡ଼ରେ ଏନଟିପିସି କୋଭିଡ‌ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରଶାସନ ସବୁ ଦୃଷ୍ଟିରୁ ପ୍ରସ୍ତୁତ ରହିଛି’’, ।
ଏହି ସଚିବସ୍ତରୀୟ ପ୍ରତିନିଧି ଦଳ ପ୍ରଥମେ ବିପିୟୁଟି କ୍ୟାମ୍ପସରେ ନିର୍ମାଣ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର କାର୍ଯ୍ୟ ବୁଲି ଦେଖିଥିଲେ | ନିର୍ଦ୍ଧାରିତ ସମୟ ଅନୁଯାୟୀ ସମସ୍ତ କାର୍ଯ୍ୟ ଯେପରି ସମ୍ପାଦନ କରାଯିବ ସେଥିପାଇଁ ମୁଖ୍ୟ ଶାସନ ସଚିବ ସ୍ଥାନୀୟ ପ୍ରଶାସନକୁ ନିଦ୍ଦେର୍ଶ ଦେଇଥିଲେ | ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ବକପ‌ ଭୁବନେଶ୍ବର ସହିତ ରାଉରକେଲାର ଏହି ଷ୍ଟାଡିୟମରେ ଆୟୋଜନ କରାଯିବ | ଏକାସାଙ୍ଗରେ ଏଠାରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ | ହକି ସହିତ ବିଭିନ୍ନ କ୍ରୀଡ଼ାର ବିକାଶ ଲାଗି ସହରରେ ଯେଉଁ ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ କରାଯାଉଛି ତାହା ସ୍ମାର୍ଟ ସିଟି ରାଉରକେଲାକୁ ଆଗାମୀ ଦିନରେ ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ‌ ଭାବେ ପରିଚିତ କରାଇବ | ପାନପୋଷଠାରେ ବ୍ୟାଡମିଣ୍ଟନ ଏବଂ ଲନ‌ ଟେନିସ‌ ଖେଳର ପ୍ରସାର ପାଇଁ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯାଉଛି | ଏଠାରେ ୩ଟି ଇନଡୋର ବ୍ୟାଡ଼ମିଣ୍ଟନ କୋର୍ଟ ସହିତ ଆଉଟଡୋର ଲନ‌ ଟେନିସ‌ କୋର୍ଟ ରହିଛି | ଖେଳାଳିମାନଙ୍କ ଫିଟନେସ‌ ପାଇଁ ଅତ୍ୟାଧୁନିକ ଜିମ ବ୍ୟବସ୍ଥା କରାଯାଉଛି । ସେହିପରି ଫୁଟବଲ ଖେଳ ସହ ଆଥଲେଟିକ୍ସ ପାଇଁ ବିର୍ସା ମୁଣ୍ଡା ଷ୍ଟାଡିୟମ ତିଆରି କରାଯାଉଛି| ସଚିବସ୍ତରୀୟ ପ୍ରତିନିଧି ଦଳ ଏହି ଦୁଇଟି ପ୍ରକଳ୍ପସ୍ଥଳ ବୁଲି ଏହାର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ |
ସହରାଞ୍ଚଳର ଗରିବ ବସ୍ତି ବାସିନ୍ଦାଙ୍କୁ ବାସୋପଯୋଗୀ ଘର ଯୋଗାଇଦେବା ସରକାରଙ୍କ ଲକ୍ଷ୍ୟ । ତେଣୁ ରାଉରକେଲାରେ ଏଥିପାଇଁ ଅତି ସ୍ବଳ୍ପ ମୂଲ୍ୟରେ ଘର ଯୋଗାଇ ଦେବାକୁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଇଛି। ଏହି ପ୍ରତିନିଧି ଦଳ ଆଜି ଛେଣ୍ଡଠାରେ ପ୍ରାୟ ୫ ଏକର ଜମିରେ ଚାଲିଥିବା ଏହି ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ।ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୫ଟି ପ୍ରକଳ୍ପ କରାଯାଉଛି, ଯେଉଁଠି ବସ୍ତି ବାସିନ୍ଦାଙ୍କ ପାଇଁ ପ୍ରାୟ ୩ ହଜାର ଘର ନିର୍ମାଣ କରାଯିବ । ଏହି ଗସ୍ତ ବେଳେ ୫ଟି ସଚିବ କହିଥିଲେ ଯେ, ଯେତେଶୀଘ୍ର ସମ୍ଭବ ହିତାଧିକାରୀମାନଙ୍କୁ ସେମାନଙ୍କ ପାଇଁ ନିର୍ଦ୍ଧାରିତ ଘର ଚିହ୍ନଟ କରି ଜଣାଇ ଦେବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଯାହା ଫଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ହିତାଧିକାରୀମାନେ ନିଜ ନିଜ ଘରର ଗୁଣାତ୍ମକ ମାନ ତଦାରଖ କରିପାରିବେ|
ଏହି ଗସ୍ତ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନର ପ୍ରସାର ପାଇଁ ଛେଣ୍ଡଠାରେ ପ୍ରାୟ ୮ ଏକର ଜମିରେ ଚାଲିଥିବା ସାଇନ୍ସ ପାର୍କ ଏବଂ ପ୍ଲାନେଟାରିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ସଚିବସ୍ତରୀୟ ପ୍ରତିନିଧି ଦଳ ବୁଲି ଦେଖିଥିଲେ | ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ |

0
0
0
s2sdefault