ଶିଳ୍ପାୟନ ଭିତ୍ତିଭୂମି ବିକାଶ ନିମନ୍ତେ କାର୍ଯ୍ୟଯୋଜନା ଅନୁମୋଦିତ

User Rating: 4 / 5

Star ActiveStar ActiveStar ActiveStar ActiveStar Inactive
 

ନିର୍ଦ୍ଧାରିତ ସମୟ ମଧ୍ୟରେ ପୋର୍ଟାଲରେ ତଥ୍ୟ ଅପ୍ଲୋଡ୍ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, : ରାଜ୍ୟରେ ଅଧିକ ଶିଳ୍ପାୟନ ବିକାଶ ଦିଗରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପଭାବେ ରାଜ୍ୟ ଲଜିଷ୍ଟିକ୍ କାର୍ଯ୍ୟ ଯୋଜନାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ଷମତା ସଂପନ୍ନ କମିଟି ବୈଠକରେ ଅନୁମୋଦନ ଦିଆଯାଇଛି ।
ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋର୍ଡରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା କହିଥିଲେ ଯେ ପ୍ରକଳ୍ପ ନିର୍ଦ୍ଧାରଣ ନିମନ୍ତେ ସଂପୃକ୍ତ ବିଭାଗମାନଙ୍କରୁ ବରିଷ୍ଠ ବୈଷୟିକ ଅଧିକାରୀ ଏବଂ କଳିଙ୍ଗନଗର, ପାରାଦ୍ୱୀପ, ଝରସୁଗୁଡା, ଓ ରାୟଗଡା ଶିଳ୍ପାଞ୍ଚଳରୁ ଶିଳ୍ପାନୁଷ୍ଠାନ ପ୍ରତିନିଧିମାନଙ୍କୁ ନେଇ ଗୋଟିଏ ବୈଷୟିକ ଟିମ୍ ଗଠନ କରାଯାଇଥିଲା । ଏହି ଟିମ୍ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦୮.୬୭ କୋଟି ଟଙ୍କା ଆକଳନରେ ୧୮ ଟି ପ୍ରକଳ୍ପ ସୁପାରିଶ କରିଛନ୍ତି ।
ସୁପାରିଶ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସଡ଼କ ଯୋଗାଯୋଗ, ବାହ୍ୟ ଜଳଯୋଗାଣ ଏବଂ ଭଣ୍ଡାର ଘର ନିର୍ମାଣ ଆଦି ପ୍ରକଳ୍ପକୁ ବୈଠକରେ ଅନୁମୋଦନ କରାଯାଇଥିଲା । ଅନୁମୋଦିତ ପ୍ରକଳ୍ପ ମଧ୍ୟରେ ଇଡ୍କୋର ୩୦୨.୯୫ କୋଟି ଟଙ୍କା ଆକଳନରେ ୧୨ ଟି ପ୍ରକଳ୍ପ, ପୁର୍ତ୍ତ ବିଭାଗର ୩୮୬.୬୪ କୋଟି ଟଙ୍କା ଆକଳନରେ ୪ ଟି ପ୍ରକଳ୍ପ, ଏବଂ ଓଡ଼ିଶା ରାଜ୍ୟ ଓୟାର ହାଉସିଂ ନିଗମର ୧୯.୦୮ ଆକଳନରେ ୨ ଟି ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ ମୁଖ୍ୟତଃ କଳାହାଣ୍ଡି, ଯାଜପୁର,ମୟୁରଭଞ୍ଜ, ସୁବର୍ଣ୍ଣପୁର, ନବରଙ୍ଗପୁର, ଢ଼େଙ୍କାନାଳ,ପୁରୀ ଆଦି ଜିଲ୍ଲାସହ ରାଜ୍ୟ ଓୟାର ହାଉସିଂ ନିଗମର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯିବ ।
ପ୍ରକଳ୍ପ ପ୍ରସ୍ତାବ ଗୁଡିକୁ ବିଚାର କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଏହି ପ୍ରକଳ୍ପଗୁଡିକ ଶିଳ୍ପାୟନ ଭିତ୍ତିଭୂମି ବିକାଶ ନିମନ୍ତେ ଏକାନ୍ତ ଆବଶ୍ୟକ ହୋଇଥିବାରୁ ପୁଞ୍ଜି ନିବେଶ ନିମନ୍ତେ ରାଜ୍ୟ ପାଇଁ ସ୍ୱତନ୍ତ୍ର ସହାୟତା ସ୍କିମ୍ର ଅନ୍ତର୍ଭୁକ୍ତ ହୋଇପାରିବ । ଏଥି ନିମନ୍ତେ ଅନୁମୋଦିତ ପ୍ରକଳ୍ପ ଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରଧାନ ମନ୍ତ୍ରୀ ଗତି- ଶକ୍ତି ପୋର୍ଟାଲ୍ରେ ଅପ୍ଲୋଡ୍ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।
ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମାଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

0
0
0
s2sdefault