ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ଏହି କେନ୍ଦ୍ର ସହାୟକ ହେବ

  • ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ, ଗବେଷଣା ଓ ଛାତ୍ରବୃତ୍ତି ବ୍ୟବସ୍ଥା

  • ଖୋର୍ଦ୍ଧା ଗସ୍ତ ସମୟରେ 5T ସଚିବଙ୍କୁ ଭେଟିଥିଲେ ବିଭିନ୍ନ ପାଇକ ସଂଗଠନ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ । ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ । ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରକାଶ ଯୋଗ୍ୟ ଯେ ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି । ଏହି ମହାନ ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

0
0
0
s2sdefault