ହେଡଲାଇନସ୍:

ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ଲୋକାର୍ପିତ: ଓଡିଆ ଭାଷାର ବରପୁତ୍ର ମାନଙ୍କୁ ପ୍ରଣାମ ଜଣାଇଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଓଡ଼ିଆ ଭାଷାରେ ଭଲ ସାହିତ୍ୟ ସୃଷ୍ଟି ପାଇଁ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍ୟମ କରୁ - ମୁଖ୍ୟମନ୍ତ୍ରୀ

  • ଓଡ଼ିଆ ଜାତି ପାଇଁ ବର୍ତ୍ତମାନ ସମୟ ହେଉଛି ଏକ ଗୌରବମୟ ସମୟ

  • ଯୁବ ପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି କରାଯିବ ଜରୁରୀ,

  • ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବଢିବା ଦରକାର,

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। ସେ କହିଲେ ଯେ ନିକଟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଆଜି ଓଡ଼ିଆ ବିଶ୍ବ ବିଦ୍ୟାଳୟର କ୍ୟାମ୍ପସ୍‌ ଉଦ୍‌ଘାଟିତ ହେଲା। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବାକୁ ଯାଉଛି ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ହେବ। ତେଣୁ ନିଶ୍ଚିତ ଭାବେ ଏହା ଆମ ସମସ୍ତଙ୍କ ପାଇଁ, ସମଗ୍ର ଓଡ଼ିଆ ଜାତି ପାଇଁ ଏହା ଏକ ଗୌରବର ସମୟ, ଅସ୍ମିତାର ସମୟ।

ଏହି ଅବସରରେ ବିଶ୍ବ ବିଦ୍ୟାଳୟ କୁଳପତି, ପ୍ରାଧ୍ୟାପକ, ଓ ଛାତ୍ର ଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମ ସଂସ୍କୃତି, ଆମ ଜୀବନଧାରା, ଆମ ପରମ୍ପରାକୁ ଭିତ୍ତି କରି ଭଲ ଭଲ ସାହିତ୍ୟ ସୃଷ୍ଟିକୁ ପ୍ରୋତ୍ସାହନ ଦେବା ଦରକାର। ଏ ଦିଗରେ ଓଡିଆ ବିଶ୍ୱବିଦ୍ୟାଳୟ ନେତୃତ୍ୱ ନେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ସତ୍ୟବାଦୀକୁ ଓଡିଆ ନବଜାଗରଣର ପୀଠ ଭାବେ ବର୍ଣ୍ଣନା କରି ସେ କହିଲେ ଯେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ କର୍ମଭୂମୀ ହେଉଛି ସତ୍ୟବାଦୀ।

ଏହି ଅବସରରେ ସେ ଆଦି କବି ସାରଳା ଦାସଙ୍କୁ ପ୍ରଣାମ ଜଣାଇବା ସହ ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ର ମାନଙ୍କୁ ସେ ତାଙ୍କର ସମ୍ମାନ ଜଣାଇ ଥିଲେ । ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଥିବା ମହାରଥୀ ମାନଙ୍କ ପ୍ରତି ମଧ୍ୟ ତାଙ୍କର ସମ୍ମାନ ଜଣାଇ ଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ। ଗୋଟେ ଜାତିର ମୁକୁଟ ହେଉଛି ତା’ର ଭାଷା। ଭାଷାର ବ୍ୟବହାର ବଢିଲେ ଏହା ସମୃଦ୍ଧ ହୋଇଥାଏ ଏବଂ ଜାତିର ଗୌରବ ବୃଦ୍ଧି କରିଥାଏ।

ସେ ପୁଣି କହିଲେ ଯେ ଓଡିଶା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡିଆ ଭାଷା ଏକ ପ୍ରାଚୀନ ଭାଷା। ଏହା ଶାସ୍ତ୍ରୀୟ ମାନ୍ୟତା ଲାଭ କରିଛି। ଓଡିଆ ଭାଷାରେ ଅନେକ ସମୃଦ୍ଧ ସାହିତ୍ୟ ସୃଷ୍ଟି ହୋଇଛି। ଆମ ସାହିତ୍ୟର ସାରା ବିଶ୍ୱରେ ପ୍ରଚାର ପ୍ରସାର ପାଇଁ ଉଦ୍ୟମ କରାଯିବା ଦରକାର। ଆମ ଭାଷା ପ୍ରତି ଯୁବପିଢିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଦରକାର। ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର। ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଦରକାର ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଓଡିଆ ଭାଷା ଓ ଅସ୍ମିତାର ସୁରକ୍ଷା ପାଇଁ ଓଡିଆ ବିଶ୍ବବିଦ୍ୟାଳୟ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ବଡ ଅବଦାନ । ଓଡିଆ ବିଶ୍ବବିଦ୍ୟାଳୟ ଯୋଗୁ ଓଡିଆ ଭାଷା ଓ ସାହିତ୍ୟକୁ ଭଲ ପାଉଥିବା ଦେଶ ବିଦେଶରେ ରହୁଥିବା ଓଡିଆ ମାନେ ଖୁବ ଉତ୍ସାହିତ ବୋଲି ସେ କହିଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, କୁଳପତି ପ୍ରଫେସର ସବିତା ପ୍ରଧାନ ପ୍ରମୁଖ ସେମାନଙ୍କ ଅଭିଭାଷଣ ଦେଇଥିଲେ। ଉଚ୍ଚଶିକ୍ଷା ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ସ୍ବାଗତ ଭାଷଣ ଦେଇଥିଲେ ଏବଂ କୁଳସଚିବ ରଶ୍ମୀରେଖା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନା ଯୋଗ୍ୟ ଯେ ସତ୍ୟବାଦୀ ଠାରେ ୨୦୧୮ ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ବିଶ୍ଵବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଥିଲେ। ଆଜି ଏହାର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟିତ ହୋଇଛି। ୯.୬୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ବିଶ୍ଵ ବିଦ୍ୟାଳୟକୁ ଅତ୍ୟାଧୁନିକ ସ୍ଥାପତ୍ୟ ଶୈଳୀ ଓ ଟେକ୍ନୋଲୋଜିରେ ନିର୍ମାଣ କରାଯାଇଛି। ପ୍ରଶାସନିକ ବିଲ୍ଡିଂ ରେ ସ୍ଥାପିତ ଓଡ଼ିଆ ବର୍ଣ୍ଣମାଳା ଅତୀବ ମନୋରମ ପରିଦୃଶ୍ୟ ହେଉଛି। ଏଥିରେ ସ୍କୁଲ ଅଫ ଲର୍ଣିଂ, ଗ୍ରନ୍ଥାଗାର, ହଷ୍ଟେଲ, ରାଧାକୁଣ୍ଡ ପୁଷ୍କରିଣୀ, କାଫେଟେରିଆ, ଫାଉଣ୍ଟେନ୍ ଇତ୍ୟାଦି ରହିଛି। ଏ ସବୁ ନିର୍ମାଣ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଛି। ଏହା ସହିତ ମୁକ୍ତ ପରିବେଶରେ ପାଠ ପଢ଼ାର ବ୍ୟବସ୍ଥା ମଧ୍ୟ ଅଛି।

0
0
0
s2sdefault