ହେଡଲାଇନସ୍:

ଅଠରତମ ମାସରେ ମୁଖ୍ୟମନ୍ତ୍ରୀଙ୍କ ୧୫ତମ ପାଳି ଅଭିଯୋଗ ଶୁଣାଣି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

"୧୪ତମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗ ସମାଧାନ"

  • ମୁଖ୍ୟମନ୍ତ୍ରୀଙ୍କ ସହିତ ୮ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଲୋକଙ୍କ ଅଭିଯୋଗ ଶୁଣିଲେ

  • ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ ନଭେମ୍ବର ୨୦୨୫:  ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୫ତମ ପାଳି। ଆଜି କେନ୍ଦୁଝରରୁ ସିଧାସଳଖ ଆସି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର 8ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ମାଧ୍ୟମରେ ସାଧାରଣ ଲୋକଟିଏ ତା’ର ସମସ୍ୟା ଓ ଅଭିଯୋଗକୁ ସିଧାସଳଖ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇପାରୁଛି। ସରକାରଙ୍କ ପକ୍ଷରୁ ସମସ୍ତ ଅଭିଯୋଗ ଗୁଡିକୁ ସମାନ ଗୁରୁତ୍ୱ ଦେଇ ତା’ର ସମାଧାନ କରାଯାଉଛି। ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗର ଗୁରୁତ୍ୱକୁ ଦେଖି ସିଧାସଳଖ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ଏହାର ଆଶୁ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୨,୯୫୦ଟି ଅଭିଯୋଗ ମଧ୍ୟରୁ ୧୨,୩୭୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୬ ପ୍ରତିଶତ ଅଟେ । ବାକି ରହିଥିବା ୫୭୯ଟି ଅଭିଯୋଗ ପ୍ରକ୍ରିୟା ମଧ୍ୟରେ ରହିଛି। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ୩୪ଜଣ ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର।

ସେ ଆହୁରି କହିଥିଲେ ଆମର ଜିଲ୍ଲା ସ୍ତରରେ ମଧ୍ୟ ନିୟମିତ ଭାବେ ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ଆସୁଥିବା ଅଭିଯୋଗ ଗୁଡିକୁ ସେଠାରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ଗତ ଜିଲ୍ଲାପାଳ ଓ ଏସ୍.ପି. ସମ୍ମିଳନୀରେ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ଅଧିକାଂଶ ସମସ୍ୟାଗୁଡିକ ସ୍ଥାନୀୟ ପ୍ରଶାସନ ଦ୍ୱାରା ସମାଧାନ ହୋଇପାରିବ। ଲୋକମାନଙ୍କୁ ସେମାନଙ୍କର ସମସ୍ୟା ନେଇ ଭୁବନେଶ୍ୱର ଆସିବାକୁ ପଡିବ ନାହିଁ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

0
0
0
s2sdefault